ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିଛି । ରାଜ୍ୟର ଅନେକ ନଦୀର ଜଳସ୍ତର ବୃଦ୍ଧି ପାଇବା ଫଳରେ ବନ୍ୟା ଆଶଙ୍କା ସୃଷ୍ଟି ହୋଇଛି । ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା, ଘଡ଼ଘଡ଼ି ଏବଂ ବଜ୍ରପାତ ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ସତର୍କ କରାଇଛି । ବିଶେଷକରି ଉତ୍ତର ଓ ପଶ୍ଚିମ ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ।
ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଝାଡ଼ଖଣ୍ଡ ଉପରେ ଥିବା ଲଘୁଚାପ କ୍ଷେତ୍ର ଗତକାଲି ଠାରୁ ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଏବଂ ସଂଲଗ୍ନ ଛତିଶଗଡ଼ ଉପରେ ସକ୍ରିୟ ରହିଛି । ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ଉଚ୍ଚତା ପର୍ୟ୍ୟନ୍ତ ବ୍ୟାପିଥିବା ଘୂର୍ଣ୍ଣିବଳୟ ଦକ୍ଷିଣ-ପଶ୍ଚିମ ଆଡକୁ ଉଚ୍ଚତା ସହିତ ଢଳି ରହିଛି ।
ଲଘୁଚାପ ଉତ୍ତର ଓଡ଼ିଶା ଦେଇ ଅତିକ୍ରମ କରୁଛି । ଆଜି ପ୍ରବଳ ବର୍ଷା ପାଇଁ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଯାଜପୁର, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିପରି ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼, ଗଜପତି, ରାୟଗଡ଼ା, କଳାହାଣ୍ଡି ଓ ମାଲକାନଗିରି ଜିଲ୍ଲାରେ ମଧ୍ୟମ ବର୍ଷା ସହ ପ୍ରବଳ ବଜ୍ରପାତ ଓ ୩୦-୪୦ କିମି ବେଗରେ ଝଡ଼ି ପବନ ବହିବାର ସମ୍ଭାବନା ରହିଛି ।
ଆସନ୍ତାକାଲି (ମଙ୍ଗଳବାର) ଉତ୍ତର ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ । କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ପାଣିପାଗ ବିଭାଗ ସତର୍କତା ଜାରି କରିଛି । ଏହାସହ ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବାର ସମ୍ଭାବନା ରହିଛି ।
ବୁଧବାର କେନ୍ଦୁଝର, ବାଲେଶ୍ବର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ରହିବ । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋରଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ହାଲୁକା ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।
୧୩ ତାରିଖରେ ବଜ୍ରପାତକୁ ନେଇ କୌଣସି ସତର୍କତା ଜାରି ହୋଇ ନଥିବା ବେଳେ ପ୍ରବଳ ବର୍ଷା ପାଇଁ ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅଗଷ୍ଟ ୧୫ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
