ଭୁବନେଶ୍ବର: ଆଜିଠୁ ଓଡ଼ିଶାରେ ବର୍ଷାର ପରିମାଣ ବଢ଼ିବ । ରାଜ୍ୟରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ ଝଡ଼ି ପବନ ବହିବା ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ବିଶେଷ କରି ଉତ୍ତର ଓଡ଼ିଶାର ଜିଲ୍ଲା ଗୁଡ଼ିକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଅଗଷ୍ଟ 11 ତାରିଖ ଯାଏଁ ପ୍ରବଳ ବର୍ଷା ଲାଗି ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।
ଆଜି ଓଡ଼ିଶାର 30ଟି ଯାକ ଜିଲ୍ଲାରେ ବର୍ଷା ସହ ବିଜୁଳି ଘଡ଼ଘଡ଼ି ଓ 30-40 କିମି ବେଗରେ ପବନ ବହିବ । ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ପାଇଁ ଅରେଞ୍ଜ ୱାର୍ଣ୍ଣି ଜାରି କରାଯାଇଛି । ଅନ୍ୟ ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ନୟାଗଡ଼, ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, କଳାହାଣ୍ଡି, ନବରଙ୍ଗପୁର, ନୂଆପଡ଼ା, କେନ୍ଦୁଝର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ଅନ୍ଯ ସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ ।
ଗୁରୁବାର ଠାରୁ ଓଡ଼ିଶାରେ ବର୍ଷା ଆହୁରି ବଢ଼ିବ । ସାରା ରାଜ୍ୟରେ ବର୍ଷା ସହ ବଜ୍ରପାତ ଓ ଝଡ଼ି ପବନ ବହିବ । ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ 2 ଜିଲ୍ଲା କେନ୍ଦୁଝର ଓ ମୟୂରଭଞ୍ଜକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ପ୍ରବଳ ବର୍ଷା ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।
ଶୁକ୍ରବାର ଦିନ ସାରା ରାଜ୍ୟରେ ବର୍ଷା ସମ୍ଭାବନା ଥିବା ବେଳେ ପ୍ରବଳ ବର୍ଷା ପାଇଁ ଭଦ୍ରକ, ବାଲେଶ୍ବର, କେନ୍ଦୁଝର, ଓ ମୟୂରଭଞ୍ଜ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଅନ୍ୟ ସବୁ ଜିଲ୍ଲାରେ ହାଲୁକା ବର୍ଷା ସହ ବଜ୍ରପାତ ରହିବ ।
